ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଦେଶର 75ତମ ସ୍ବାଧୀନତା ଦିବସ ଅବସରରେ ରାଜଧାନୀର ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଅନ୍ୟ ବରପୁତ୍ରମାନଙ୍କ ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଦେଶର ଅଖଣ୍ଡତା ଓ ଶାନ୍ତି ରକ୍ଷା ପାଇଁ ସହିଦ ହୋଇଥିବା ଅମର ଯବାନ ଏବଂ କରୋନା ଲଢେଇରେ ସହିଦ ହୋଇଥିବା କୋଭିଡ ଯୋଦ୍ଧାମାନଙ୍କ ପ୍ରତି ମଧ୍ୟ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି- କୋଭିଡ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଅନ୍ୟମାନଙ୍କୁ ବାଟ ଦେଖାଇଛି । ଅନ୍ୟ ରାଜ୍ୟମାନଙ୍କୁ ଅକ୍ସିଜେନ୍ ଯୋଗାଇବାରେ ଓଡ଼ିଶା ପ୍ରଥମ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କରୋନା କାଳରେ 2 ମାସ ଧରି 17ଟି ରାଜ୍ୟକୁ ଅକ୍ସିଜେନ ଯୋଗାଇଥିଲୁ, ଅନେକ ଜୀବନ ବଞ୍ଚାଇଥିଲୁ । ସାରା ଓଡ଼ିଶା ମୋ ପରିବାର, ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।

ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ- ହକିରେ ଓଡ଼ିଶାର ଅବଦାନ ଖୁବ୍ ଗୁରୁତ୍ଵପୂର୍ଣ୍ଣ । 2018ରେ ଓଡ଼ିଶା ହକି ଦଳର ପ୍ରାୟୋଜକ ହୋଇଥିଲା । ଏହାର ସୁଫଳ ଏବେ ମିଳିଛି । ଅଲମ୍ପିକରେ ଭାରତୀୟ ହକି ଦଳ ପଦକ ଜିତିଛି । 40 ବର୍ଷର ବ୍ୟବଧାନ ପରେ ଭାରତୀୟ ହକି ଟୋକିଓ ଅଲମ୍ପିକ୍‌ସରେ ପଦକ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିବା ସହ ଆମ ଖେଳାଳୀମାନଙ୍କ ପାଇଁ ସାରା ଦେଶ ଗର୍ବିତ ବୋଲି କହିଥିଲେ । ଭାରତୀୟ ହକି ଦଳକୁ ବିଶ୍ଵର ଶ୍ରେଷ୍ଠ ଦଳ ଭାବରେ ଗଢି ତୋଳିବା ପାଇଁ ସବୁ ପ୍ରକାରର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।


ସେୟାର କରନ୍ତୁ