ରାଜ୍ୟରେ 24ରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା 24 ଓ 25 ତାରିଖ ଦିନ କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କୁହାଯାଇଛି ।

ଜାରି ସୂଚନାରେ କୁହାଯାଇଛି ଯେ 24 ତାରିଖରେ ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ସେହିପରି 25ରୁ 26 ତାରିଖ ମଧ୍ୟରେ ଉତ୍ତର ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଦକ୍ଷିଣ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ତେବେ, ଏହି ସମୟ ମଧ୍ୟରେ ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି କେନ୍ଦ୍ରର ସୂଚନା ମୁତାବକ, 26 ତାରିଖ ଦିନ ମଧ୍ୟ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କନ୍ଧମାଳ ଆଦି ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି । ଅବଶିଷ୍ଟ ଓଡ଼ିଶାରେ ପାଗ ଶୁଖିଲା ଓ ଖରାଟିଆ ରହିବ । ତେବେ, ରାଜ୍ୟର ଅଧିକାଂଶ ସ୍ଥାନର ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକକୁ ଫେରି ଆସି ଥିବାରୁ ରାଜ୍ୟରେ ଆଉ ବିଶେଷ ଶୀତ ଅନୁଭୂତ ହେବ ନାହିଁ ।


ସେୟାର କରନ୍ତୁ