ମୁଖ୍ୟମନ୍ତ୍ରୀ କଲେ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅନ୍ତିମ ଦର୍ଶନ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଉପରେ ପୁଷ୍ପମାଲ୍ୟ ଅର୍ପଣ କରି ଅନ୍ତିମ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ରଙ୍କ ନୟାପଲ୍ଲୀସ୍ଥିତ ବାସଭବନକୁ ଯାଇ ଶେଷ ଦର୍ଶନ କରିଛନ୍ତି ।

ସେ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି । ଆଜି ସକାଳୁ ସେଠାରେ ସମର୍ଥକ ଓ ଶୁଭେଚ୍ଛୁମାନଙ୍କ ଭିଡ଼ ଲାଗି ରହିଛି । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ତାଙ୍କର ଅନ୍ତିମ ସଂସ୍କାର କରାଯିବାର କାଜ୍ୟକ୍ରମ ରହିଛି ।

ଗତକାଲି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଥିଲେ । ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ରଙ୍କୁ ଜଣେ ଦକ୍ଷ ପ୍ରଶାସକ ଓ ସଂଗଠକ ଭାବେ ବର୍ଣ୍ଣନା କରିଛନ୍ତି । ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ ସେ ରାଜ୍ୟର ଉନ୍ନୟନ ପ୍ରକ୍ରିୟାକୁ କ୍ରିୟାଶୀଳ କରିଥିଲେ ।

ବାଚସ୍ପତି ଭାବେ ଓଡିଶାରେ ସଂସଦୀୟ ପରମ୍ପରାର ମର୍ଯ୍ୟାଦକୁ ଅକ୍ଷୁର୍ଣ୍ଣ ରଖିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ତାଙ୍କର ଅମାୟିକ ସ୍ୱଭାବ ପାଇଁ ସେ ଦଳମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟ ପାତ୍ର ଥିଲେ । ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତା ଭାବେ ସେ ଦଳକୁ ନୂଆ ଦିଗ ଦେଇଥିଲେ ।

ବିଶେଷକରି ଗଞ୍ଜାମ ଜିଲ୍ଲାରେ ଦଳକୁ ସୁଦୃଢ଼ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା । ତାଙ୍କ ବିୟୋଗ ରାଜ୍ୟ ରାଜନୀତିରେ ଏକ ବିରାଟ ଶୂନ୍ୟତା ସୃଷ୍ଟି କରିଛି । ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି ।


ସେୟାର କରନ୍ତୁ